ଓଡ଼ିଶାର ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ। ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ‘ଶତାନନ୍ଦ ସଂଗ୍ରହ’ରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି। ସାଧାରଣତଃ ଏହି ଯାତ୍ରା କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ। ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଏ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି।
